ଆସନ୍ତାକାଲି ପ୍ରଥମାଷ୍ଟମୀ। ଏଥିଲାଗି ଓଡ଼ିଶାର ଘରେ ଘରେ ପର୍ଵ ପାଳନ ଲାଗି ପ୍ରସ୍ତୁତି ଚାଲିଥିବା ବେଳେ ପୁରୀରେ ମଧ୍ୟ ଜଗନ୍ନାଥ ଙ୍କ ଲାଗି ପୋଢ଼ୁଆଁ ଭାର ଆସି ପହଞ୍ଚିଛି। ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀରେ ଏହା ଓଡ଼ିଶାର ଏକ ପ୍ରମୁଖ ପର୍ବ। ଏହା ପ୍ରକୃତରେ ଜ୍ୟେଷ୍ଠ ସନ୍ତାନର ସମ୍ବର୍ଦ୍ଧନା।
ଏହା ଲୋକଭାଷାରେ ‘ପୋରୁହାଁ ଅଷ୍ଟମୀ’ ବା ‘ପୋଢ଼ୁଆଁ ଅଷ୍ଟମୀ’। ଏହିଦିନ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ। ପାରମ୍ପରିକ ପ୍ରଥା ଅନୁସାରେ, ପ୍ରଥମାଷ୍ଟମୀ ଦିନ ଗୋଟିଏ ସ୍ଥାନକୁ ପରିଷ୍କାର କରି, ସେଠାରେ ଅରୁଆଚାଉଳ ବଟା ପିଠଉରେ କୋଠି କଟାଯାଏ। ସେଠାରେ ଗୋଟିଏ ପିଢ଼ା ରଖି ତା’ ଉପରେ ଚିତା ପକାଯାଏ ଏବଂ ଜ୍ୟେଷ୍ଠ ସନ୍ତାନ ତା’ ଉପରେ ବସନ୍ତି। ଏହି ଜ୍ୟେଷ୍ଠ ସନ୍ତାନର ବିଚାରରେ, ପୁଅ ବା ଝିଅ ମଧ୍ୟରେ ପାର୍ଥକ୍ୟ ନଥାଏ। ଜ୍ୟେଷ୍ଠ ସନ୍ତାନ ପୁତ୍ର ହୋଇଥିଲେ ପିଢ଼ା ଉପରେ ପତାକା ଚିତା ଏବଂ କନ୍ୟା ହୋଇଥିଲେ ପଦ୍ମଚିତା ପକାଯାଏ। ତା’ ଉପରେ ବସି ପୁତ୍ର ବା କନ୍ୟା ବନ୍ଦାପନା ହୁଅନ୍ତି। ଏହି ଉପଲକ୍ଷେ ଘରେ ଏଣ୍ଡୁରି ପିଠା ଏବଂ ଘାଣ୍ଟ ତରକାରୀ ଆଦି ପ୍ରସ୍ତୁତ କରାଯାଇ ଷଷ୍ଠୀଦେବୀଙ୍କୁ ସମର୍ପଣ କରାଯାଏ ଏବଂ ଜ୍ୟେଷ୍ଠ ସନ୍ତାନକୁ ଖାଇବାକୁ ଦିଆଯାଏ। ଘରର ଅନ୍ୟ ସମସ୍ତେ ମଧ୍ୟ ଏହାକୁ ଖାଆନ୍ତି। ଏଣ୍ଡୁରିପିଠା ପ୍ରସ୍ତୁତିରେ ହଳଦୀପତ୍ର ବ୍ୟବହାର କରାଯାଇଥାଏ ଏବଂ ଯେଉଁ ସ୍ୱତନ୍ତ୍ର ଅଥାର ହାଣ୍ଡି ପ୍ରସ୍ତୁତ କରାଯାଇଥାଏ, ସାତଦିନ ଧରି ତାହା ରହେ ଏବଂ ତହିଁରେ ପିଠା ପ୍ରସ୍ତୁତ ହୁଏ। ସପ୍ତମ ଦିନ ଏହି ଅଥାର ହାଣ୍ଡି ଭଙ୍ଗାଯାଏ।

