ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ତଥା ନିର୍ମଣାଧୀନ ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ନିର୍ମଣାଧୀନ ଟେନିସ ସେଣ୍ଟର ପ୍ରକଳ୍ପ ମଧ୍ୟ ପ୍ରଦର୍ଶନ କରିଥିଲେ। ଏହି ଟେନିସ୍ ସେଣ୍ଟର ଆଇଟିଏଫ ଟୁର୍ଣ୍ଣାମେଣ୍ଟ ଓ ଡେଭିସ କପ ଭଳି ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡା ଅନୁଷ୍ଠିତ ହେବାର ସୁବିଧା ଉପଲବ୍ଧ ହେବ।

ପରେ ମୁଖ୍ୟମନ୍ତ୍ରୀ କଳିଙ୍ଗ ଷ୍ଟାଡିଅମର ମୁଖ୍ୟ ଫୁଟବଲ୍ ପଡିଆରେ ଅନୁଷ୍ଠିତ ହେଉଥିବା ଓଡିଶା ମହିଳା ଫୁଟବଲ ଲିଗ୍ର ମ୍ୟାଚ ଦେଖିଥିଲେ ଏବଂ ଖେଳାଳୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ଭାରତୀୟ ଜାତୀୟ ହକୀ ଦଳର ଉଭୟ ପୁରୁଷ ଓ ମହିଳା ଖେଳାଳୀଙ୍କୁ ରହଣୀ ଓ ଖେଳ ଅଭ୍ୟାସ ସଂପର୍କରେ ପଚାରି ବୁଝିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଗାମୀ ପ୍ରୋ-ଲିଗ୍ ମ୍ୟାଚ ପାଇଁ ଶୁଭେଚ୍ଛା ଜଣାଇଥିଲେ ଏବଂ ଆଗାମୀ ଏସିଆନ ଓ କମନୱେଲ୍ଥ ଗେମ୍ସରେ ଦେଶ ପାଇଁ ସ୍ବର୍ଣ୍ଣ ପଦକ ଆଣିବା ପାଇଁ ଲକ୍ଷ୍ୟ ରଖିବାକୁ ପରାମର୍ଶ ଦେଇଥିଲେ।