ରଥଯାତ୍ରା ଲାଗି ସ୍ୱତନ୍ତ୍ର ସମୀକ୍ଷା ବୈଠକ।। ଭକ୍ତଙ୍କ ସୁବିଧା ଲାଗି ସମସ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ଙ୍କ ପରାମର୍ଶ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଅନୁଷ୍ଠିତ ହେବ ସେଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି।
ଦୁଇ ବର୍ଷ ପରେ ଭକ୍ତମାନଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରି କହିଛନ୍ତି ଯେ ଏବର୍ଷ ବହୁତ ଅଧିକ ଭକ୍ତ ଆସିବେ। ତେଣୁ ସବୁପ୍ରକାର ଆଗୁଆ ବନ୍ଦୋବସ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ସେ କହିଛନ୍ତି।
କୋଭିଡ ସମୟରେ ରଥଯାତ୍ରା ପରିଚଳନାରେ ସେବାୟତ ଯେପରି ସହଯୋଗ କରିଥିଲେ, ନିଜେ ରଥକୁ ଟାଣି ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ, ସେଥିପାଇଁ ସେ ସେବାୟତମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ବୈଠକରେ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଥିଲେ।
